ଆରପାରିରେ ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି

ଆରପାରିରେ ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି

ଆରପାରିରେ ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି


ଭୁବନେଶ୍ୱର(ଏନ୍‌.ଏମ୍‌.): ଆରପାରିରେ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତି । ହୃଦଘାତରେ ତାଙ୍କର ପରଲୋକ ହୋଇଯାଇଛି । ହୃଦଘାତ ଯୋଗୁ ସେ ଝାରସୁଗୁଡ଼ାରେ ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ବିୟୋଗ ହୋଇଛି । ଆଜି ସନ୍ଧ୍ୟା ପ୍ରାୟ ୬ଟା ବେଳେ କିଶୋର ମହାନ୍ତି ଝାରସୁଗୁଡ଼ା ଜିଲ୍ଲା ବିଜେଡି ପାର୍ଟି ଅଫିସରେ ଥିଲେ । ଜଣେ ବନ୍ଧୁଙ୍କ ବିୟୋଗରେ ହୋଇଥିବା ଶୋକ ସଭାରେ ସେ ଯୋଗ ଦେଇଥିଲେ । ଶୋକସଭାରେ ବସିଥିବାବେଳେ ସେ ଅସୁସ୍ଥତା ଅନୁଭବ କରିଥିଲେ । ତେଣୁ ସେ ସଙ୍ଗେ ସଙ୍ଗେ ନିଜ ବାସଭବନକୁ ଚାଲି ଯାଇଥିଲେ । ଘରେ ପହଞ୍ଚିବା ପରେ ଛାତି ଯନ୍ତ୍ରଣା ହୋଇଥିଲା । ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ସେ ଓଡ଼ିଶା ବିଧାନସଭାରେ ପୂର୍ବତନ ବାଚସ୍ପତି ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଥିଲେ । ସେ ୩ ଥର ଝାରସୁଗୁଡ଼ାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ରାଜ୍ୟସଭା ସାଂସଦ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ । ୨୦୦୯ରୁ ୧୨ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ । କିନ୍ତୁ ଗତ ସାଧାରଣ ନିର୍ବାଚନରେ ସେ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେ ବିଜେପିର ରାଧାରାଣୀ ପଣ୍ଡାଙ୍କୁ ହରାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ଶୋକର ଛାୟା ଖେଳି ଯାଇଛି । ତାଙ୍କର ପରଲୋକଗତ ଖବର ପାଇ ଚୌଦ୍ୱାର କଟକ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଶୋକ
ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ଦୃଢ ନେତୃତ୍ୱ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ୱର ଅନନ୍ୟ ଦିଗ ଥିଲା । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ