କୃଷି ଦିବସ ଅବସରରେ କୃଷିମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଅକ୍ଷି ମୁଠି ଅନୁକୂଳ
#ଭୁବନେଶ୍ୱର (ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା ବା କୃଷକ ଦିବସ ଅବସରରେ ଅନେକ ଲୋକାଭିମୁଖୀ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଯାଇ ସେଠାରେ ଅକ୍ଷୀ ମୁଠି ଅନୁକୂଳ କରି ରାଜ୍ୟର କୃଷକ ଭାଇ ଭଉଣୀମାନଙ୍କୁ ଶୁଭେଛା ଜଣାଇ ଥିଲେ । ଏହାପରେ ସେ ଲୋକ ସେବା ଭବନ ଆସି ସେଠାରେ ମିଲଟ ଶକ୍ତି କାଫେ ଲୋକାର୍ପିତ କରିଥିଲେ । ପୁଷ୍ଟି ହୀନତା ନିୟନ୍ତ୍ରଣରେ ମାଣ୍ଡିଆ ଓ ଅନ୍ୟାନ୍ୟ ମିଲେଟ୍ ଖାଦ୍ୟ ଶସ୍ୟର ଗୁରୁତ୍ୱ ଅନୁଭବ କରି ରାଜ୍ୟ ସରକାର ମିଲେଟ୍ ମିଶନ କାର୍ଯ୍ୟକାରୀ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୪୨ଟି ମିଲେଟ୍ ଆଉଟଲେଟ ଖୋଲାଯାଇ ସାରିଲାଣି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘କୃଷି ସମୀକ୍ଷା କେନ୍ଦ୍ର’ର ଉଦଘାଟନ ମଧ୍ୟ କରିଥଲେ । ରାଜ୍ୟ କୃଷି ଭବନରେ ଏହି କେନ୍ଦ୍ର ଏକ ‘ସେଣ୍ଟ୍ରାଲ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସିଷ୍ଟମ’ ଭାବେ କାର୍ଯ୍ୟ କରିବ । କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିର ପ୍ରୟୋଗରେ ଏଠାରେ ଏହା କ୍ଷେତ୍ରସ୍ତରରୁ ବିଭିନ୍ନ ସୂଚନା ବାସ୍ତବ ସମୟରେ ହାସଲ କରି ନିଷ୍ପତ୍ତି ନେବାରେ ସହାୟତା କରି ପାରିବ । ବିଭିନ୍ନ ଯୋଜନାର ସଫଳ ରୂପାୟନରେ ଏବଂ ଚାଷୀଙ୍କୁ ସହାୟତା କରିବାରେ ଏହି କେନ୍ଦ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଏହି କେନ୍ଦ୍ର ସ୍ଥାପନ କରା ଯାଇଛି । କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ମୁଖ୍ୟମନ୍ତ୍ରୀଙ୍କୁ ଏହି କେନ୍ଦ୍ରର କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ଏହା ସହିତ ଲୋକ ସେବା ଭବନରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଶିଶୁ ସନ୍ତାନ ମାନଙ୍କ ପାଇଁ ଏକ କ୍ରେଚ ‘କଳିକା’ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିଲେ । ଏଥିରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବର୍ତ୍ତମାନ ୨୦ ଜଣ ଶିଶୁ ରହିବାର ବ୍ୟବସ୍ଥା କର ଯାଇଛି । ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ୍ ପାଣ୍ଡିଆନ୍ ଓ ମହିଳା ଓ ଶିଶୁ ବିକାଶ ସଚିବ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।