ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କୋଭିଡ ସମୀକ୍ଷା: ଜନସାଧାରଣଙ୍କ ଜୀବିକା ଉପରେ ପ୍ରଭାବ ନପକାଇ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପରାମର୍ଶ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କୋଭିଡ ସମୀକ୍ଷା: ଜନସାଧାରଣଙ୍କ ଜୀବିକା ଉପରେ ପ୍ରଭାବ ନପକାଇ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପରାମର୍ଶ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କୋଭିଡ ସମୀକ୍ଷା
ଜନସାଧାରଣଙ୍କ ଜୀବିକା ଉପରେ ପ୍ରଭାବ ନପକାଇ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପରାମର୍ଶ


ଭୁବନେଶ୍ୱର(ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ୱିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଭୂତାଣୁ ସଂକ୍ରମଣକୁ କମ୍ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ । ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ଦେଶରେ ଓମିକ୍ରନ୍ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ । ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି । ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ । ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏଗୁଡିକର କାର୍ଯ୍ୟାନ୍ୱୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଗତ ଲହର ସମୟରେ ଅକ୍‌ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା । ବର୍ତ୍ତମାନ ପୁଣି ଅଧିକାରୀମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଯେହେତୁ ଏହି ଲହରରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ୱରେ ଥିବ ଅଧିକାରୀ ମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ନିବେଦନ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ । ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଥିଲେ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ, ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ ପ୍ରସ୍ତୁତ କରାଯିବ ବୋଲି ସେ ସୂଚନା ଦେଇଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍‌?ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ । ପୋଲିସ ଡିଜି ସୁନିଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ କଟକଣା ପାଳନ ସମୟରେ ଘର ଭିତର ଓ ବାହାରରେ ଲୋକଙ୍କ ଭିଡ ଉପରେ ନଜର ରଖିବା ପାଇଁ ମତ ଦେଇଥିଲେ । ଯେଉଁ ପଦକ୍ଷପ ଦ୍ୱାରା କୋଭିଡ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା ଉପରେ ଧ୍ୟାନ ଦେବାକୁ ସେ କହିଥିଲେ । ବୈଠକରେ ସୁନ୍ଦରଗଡ, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଯୋଗ ଦେଇଥିଲେ ।

Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ସ୍ୱାସ୍ଥ୍ୟ