ଲଘୁଚାପ ବର୍ଷା ଜାରି: ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର (ଏନ.ଏମ୍.): ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ତେବେ ରାଜ୍ୟର ଆଠଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସେହି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ତେବେ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼ ଅନ୍ତଭୁକ୍ତ । ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି । ଉତ୍ତର ଓଡ଼ିଶା ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଗତ ୧୪ ଦିନ ମଧ୍ୟରେ ରାଜ୍ୟରେ ୯୫.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ସ୍ୱାଭାବିକ ଠାରୁ ୩୪ ପ୍ରତିଶତ ଅଧିକ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୧୧ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଥିବାବେଳେ, ୫ଟି ଜିଲ୍ଲାରେ ୨୧ ପ୍ରତିଶତ ଅଧିକ ବର୍ଷା ହୋଇଛି । ବାକି ୧୪ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।