ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ଯୋଜନା : କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକଙ୍କୁ ସ୍ମାର୍ଟ କାର୍ଡର ସୁବିଧା
ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ – ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର/କଟକ(ଏନ୍‌.ଏମ୍‌.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ପରେ ଏବେ ହିତାଧିକାରୀଙ୍କୁ କୁପନ ବଣ୍ଟନ ଆରମ୍ଭ ହୋଇଛି । କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏଥିସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ ସମାରୋହରେ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ । ସ୍ୱାସ୍ଥ୍ୟ ହିଁ ସମ୍ପଦ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ସେ କହିଥିଲେ । କଟକର ଏସସିବି ମେଡ଼ିକାଲ କଲେଜକୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ ବୋଲି ମତବ୍ୟକ୍ତ କରିଥିଲେ । କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ । ତେବେ ମୁଖ୍ୟମନ୍ତ୍ରୀ ଗୋଟିଏ ଦିନରେ କଟକ ଓ ଖୋର୍ଦ୍ଧା ଉଭୟ ଜିଲ୍ଲାରେ ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିବା ସହିତ ବିକାଶ କ୍ଷେତ୍ରରେ ସମସ୍ତଙ୍କର ଯୋଗଦାନ ବୃଦ୍ଧି ପାଇବ । ଏହାଦ୍ୱାରା ରାଜ୍ୟ ବିକାଶର ଶିଖର ଛୁଇଁବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ । ସେହିପରି ବେଗୁନିଆ ଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି । ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଓଡିଆ ଜାତିକୁ ତାର ହକ୍ ଦେବା ପାଇଁ ଆମର ଲଢେଇ ଜାରି ରହିବ । ମୁଖ୍ୟମନ୍ତ୍ରୀ କହିଥିଲେ ମିଶନ ଶକ୍ତିର ମା’ମାନେ ହେଉଛନ୍ତି ନୂଆ ଯୁଗର ସାରଥୀ । ଖୋର୍ଦ୍ଧାର ମିଶନ ଶକ୍ତିର ମାଆମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିଶନ ଶକ୍ତିର ମା’ମାନେ ୩୨ କୋଟିରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।
ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ଼ ସେବା ପ୍ରଦାନ ଆରମ୍ଭ ହୋଇଛି । ସେହି ଦିନ ଠାରୁ ଓଡିଶାର ସ୍ୱାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩କୋଟି ଲୋକ ଉପକୃତ ହେବେ । ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ôଥକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରତାପ ଜେନା, ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

By admin

Leave a Reply

Your email address will not be published. Required fields are marked *