ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର (ଏନ୍.ଏମ୍.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ୩୩ପ୍ରତିଶତ ବା ତାଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ପାଇଁ ଇନପୁଟ ସହାୟତା ଘୋଷଣା କରିଥିବା ବେଳେ ୩୩ପ୍ରତିଶତ ବା ଅଧିକ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ସ୍ୱଳ୍ପ ମିଆଦୀଋଣ ମଧ୍ୟମ ମିଆଦୀ ଋଣକୁ ପରିବର୍ତ୍ତନ କରିଛନ୍ତି । କୃଷି ଯାନ୍ତ୍ରିକୀକରଣ ପାଇଁ ୨୦କୋଟି ଟଙ୍କାର ରିହାତି ସହାୟତା ଘୋଷଣା କରିଛନ୍ତି ।
ସୂଚନାଯୋଗ୍ୟ , ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସମ୍ପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ ଚାଷ ଆଦି ବିଭିନ୍ନ କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି । ଚାଷୀ ମାନଙ୍କର କ୍ଷତି ଭରଣା ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
କୃଷିକ୍ଷେତ୍ରରେ: ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଫସଲ ପାଇଁ ଅଣଜଳସେଚିତ ଅଞ୍ଚଳରେ ଛୋଟ ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଚ୍ଛା ୬୮୦୦ ଟଙ୍କା ଇନପୁଟ ସବସିଡି ଦିଆଯିବ । ଜଳସେଚିତ ଅଞ୍ଚଳରେ ହେକ୍ଟର ପିଚ୍ଛା ୧୩,୫୦୦ ଟଙ୍କା ଏବଂ ସମସ୍ତ ପ୍ରକାର ସବୁଦିନିଆ ଫସଲ ପାଇଁ ହେକ୍ଟର ପିଚ୍ଛା ୧୮,୦୦୦ ଟଙ୍କା ଇନପୁଟ ସବସିଡି ଦିଆଯିବ । ଆମ୍ବ, କାଜୁ, ନଡିଆ, କେତକୀ, ପାନ ଆଦି ଫସଲ ସବୁଦିନିଆ ଫସଲ ଶ୍ରେଣୀରେ ଅନ୍ତର୍ଭୁକ୍ତ । କେବଳ ପ୍ରକୃତ ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯିବ । ସବୁଦିନିଆ ଫସଲ ପାଇଁ ଚାଷୀ ମାନଙ୍କୁ ସର୍ବନିମ୍ନ ୨ହଜାର ଟଙ୍କା ଓ ଅନ୍ୟ ଫସଲ ପାଇଁ ସର୍ବନିମ୍ନ ୧ହଜାର ଟଙ୍କା ଇନପୁଟ ସବସିଡି ମିଳିବ । ସେହିଭଳି ପ୍ରଭାବିତ ଜିଲ୍ଲାର ଚାଷୀମାନଙ୍କୁ ୨୦୨୧ ଖରିଫ ଋତୁ ପାଇଁ ବର୍ତ୍ତମାନ ଦିଆଯାଉଥିବା ରିହାତିର ଅଧିକ ୨୫ ପ୍ରତିଶତ ରିହାତି ସହିତ ୧.୫ଲକ୍ଷ କ୍ୱିଣ୍ଟାଲ ଉନ୍ନତ ମାନର ପ୍ରାମାଣିକ ଧାନ ବିହନ ଯୋଗାଇ ଦିଆଯିବ । ଏହି ରିହାତି ସିଧାସଳଖ ଡିବିଟି ଜରିଆରେ ଚାଷୀଙ୍କ ଆକାଉଣ୍ଟକୁ ଦିଆଯିବ । ଖରିଫ ଋତୁରେ ଅଧିକ ଅମଳ ପାଇଁ ୧ଲକ୍ଷ ଏକର ଜମି ପାଇଁ ୧ଲକ୍ଷ ଚାଷୀଙ୍କୁ ବିହନ ବିଶୋଧନ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ । ଖରିଫ ଋତୁରେ ଧାନ, ଝୋଟ ଓ ଡାଲିଜାତୀୟ ଫସଲ ପାଇଁ ପ୍ରଭାବିତ ଅଞ୍ଚଳରେ ୨୫ ହଜାର ଏକର ଜମିରେ ପ୍ରଦର୍ଶନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ଧାଡି ବୁଣା ଓ ଧାଡି ରୁଆ ଆଦି ଉନ୍ନତ ଚାଷ ପ୍ରଣାଳୀ ଅବଲମ୍ବନ କରୁଥିବା ଚାଷୀ ମାନଙ୍କୁ ୩୬ ହଜାର ଏକର ଜମି ପାଇଁ ହେକ୍ଟର ପିଚ୍ଛା ୧୫୦୦ ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ । ୬୦ହଜାର ହେକ୍ଟର ଜମିରେ ରୋଗପୋକ ମାରିବା ପାଇଁ ଆବଶ୍ୟକତା ଭିତ୍ତିରେ ଇନପୁଟ ସବସିଡି ଚାଷୀମାନଙ୍କ ଆକାଉଣ୍ଟକୁ ଦିଆଯିବ । ଉନ୍ନତମାନର କୃଷି ଯନ୍ତ୍ରପାତି କିଣିବାପାଇଁ ପ୍ରଭାବିତ ଜିଲ୍ଲାରେ ଚାଷୀ ମାନଙ୍କୁ ୨୦ କୋଟି ଟଙ୍କାର ରିହାତି ଡିବିଟି ଜରିଆଇ ଦିଆଯିବ । ସେହିଭଳି ପ୍ରଭାବିତ ଅଞ୍ଚଳରେ ଚାଷୀ ମାନଙ୍କୁ ରିହାତି ଦରରେ ୨୦୦୦ ପମ୍ପସେଟ୍ ଓ ୩୦୦୦ ସ୍ପ୍ରେୟର ଯୋଗାଇ ଦିଆଯିବ । ପମ୍ପସେଟ୍ ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୧୫ ହଜାର ଟଙ୍କା, ପାୱାର ସ୍ପ୍ରେୟର ପାଇଁ ୫୦ ପ୍ରତିଶତ ରିହାତିରେ ସର୍ବାଧିକ ୩୮୦୦ ଟଙ୍କା ଓ ହାତରେ ଚାଲୁଥିବା ସ୍ପ୍ରେୟର ପାଇଁ ସର୍ବାଧିକ ୭୫୦ ଟଙ୍କା ରିହାତି ଦିଆଯିବ । ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କେତେକ ସ୍ଥାନରେ ଜମିରେ ଲୁଣି ପାଣି ମାଡିଯାଇଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ ଏପରି ଜମିର ପୋଷକତତ୍ତ୍ୱର ପରିଚାଳନା ଓ ମାଟିର ମାନରେ ଉନ୍ନତି ପାଇଁ ହେକ୍ଟର ପିଚ୍ଛା ୭୫୦ ଟଙ୍କା ସହାୟତା ଦିଆଯିବ । ସମୁଦାୟ ୧୦ ହଜାର ହେକ୍ଟର ଜମି ପାଇଁ ସହାୟତା ପ୍ରଦାନ କରାଯିବ । ପାନବରଜ ଚାଷ କରୁଥିବା ୧୨୫ ଜଣ ଚାଷୀଙ୍କୁ ଜଣ ପିଚ୍ଛା ୧୫ହଜାର ଟଙ୍କା ପ୍ରୋତ୍ସାହନ ରାଶି ଡିବିଟି ଜରିଆରେ ଦିଆଯିବ । ୧୦ ହଜାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସେମାନଙ୍କ ବାଡିରେ ପରିବା ଚାଷ ପାଇଁ ଉନ୍ନତ ମାନର ଚାରା ୧୧୫ ଟଙ୍କାରେ ଯୋଗାଇ ଦିଆଯିବ । ବାତ୍ୟାରେ କ୍ଷତିଗ୍ରସ୍ତ ୫୦ଟି ଛତୁ ଚାଷ ୟୁନିଟକୁ ୪୦ହଜାର ଟଙ୍କା ଲେଖାଏ ଯୋଗାଇ ଦିଆଯିବ । ଏଥିରେ କ୍ଷତିଗ୍ରସ୍ତ ଚାଷୀମାନେ ସେମାନଙ୍କ ଛତୁ ଚାଷ ୟୁନିଟର ପୁନରୁଦ୍ଧାର କରିପାରିବେ । ଏହି ସହାୟତା ଚାଷୀର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ପ୍ରଦାନ କରାଯିବ । କ୍ଷତିଗ୍ରସ୍ତ ଅଞ୍ଚଳର ଚାଷୀମାନଙ୍କୁ କିଟ୍ ପିଚ୍ଛା ୧୧୦ ଟଙ୍କାର ୧୦ ହଜାର ପରିବା ମିନି କିଟ୍ ମାଗଣାରେ ଯୋଗାଇ ଦିଆଯିବ । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜାନାରେ ବୀମାଭୁକ୍ତ ହୋଇଥିବା କ୍ଷତିଗ୍ରସ୍ତ ଚାଷୀମାନଙ୍କର ଦାବି ଯେପରି ସମାଧାନ ହୋଇପାରିବ, ସେଥିପାଇଁ ଫସଲ କଟା ରିପୋର୍ଟ ତ୍ୱରାନ୍ୱିତ ଭାବରେ ପ୍ରସ୍ତତ କରିବା ପାଇଁ ପଦକ୍ଷେପ ନିଆଯିବ । କ୍ଷତିଗ୍ରସ୍ତ ଅଞ୍ଚଳର ୩୩ ପ୍ରତିଶତରୁ ଅଧିକ କ୍ଷତି ସହିଥିବା ଚାଷୀମାନଙ୍କର ସ୍ୱଳ୍ପ ମିଆଦୀ ଖରିଫ ଋଣକୁ ମଧ୍ୟମ ମିଆଦୀ ଋଣରେ ପରିଣତ କରାଯିବାକୁ ଘୋଷଣା କରିଛନ୍ତି ।
ପଶୁସମ୍ପଦ ବିକାଶ କ୍ଷେତ୍ରରେ:
ବାତ୍ୟାରେ ଦୁଧିଆଳୀ ଗାଇ, ମଇଁଷି, ଛେଳି, ମେଣ୍ଢା ଓ କୁକୁଡା ହରାଇଥିବା ଚାଷୀ ମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯିବ । ଦୁଧିଆଳୀ ଗାଇ ଓ ମଇଁଷି ପାଇଁ ୩୦ହଜାର ଟଙ୍କା ସହାୟତା ଘୋଷଣା କରାଯାଇଥିବା ବେଳେ, ଖୀର ଦେଉ ନଥିବା ପ୍ରାଣୀମାନଙ୍କ ପାଇଁ ୨୫ହଜାର ଟଙ୍କା ସହାୟତା (ସର୍ବାଧିକ ୩ଟି ପାଇଁ) ଦିଆଯିବ । ସେହିପରି ସର୍ବାଧିକ ୬ଟି ବାଛୁରୀ ପାଇଁ ପ୍ରତି ବାଛୁରୀ ପିଛା ୧୬ ହଜାର ଟଙ୍କା, ୩୦ଟି ଛେଳି/ମେଣ୍ଢା ପର୍ଯ୍ୟନ୍ତ ୩ ହଜାର ଟଙ୍କା ଏବଂ ପ୍ରତି କୁକୁଡା ପିଚ୍ଛା ୫୦ ଟଙ୍କା ଲେଖାଏ, ସର୍ବାଧିକ ୫ହଜାର ଟଙ୍କା ଲେଖାଏ ପ୍ରତି କ୍ଷତିଗ୍ରସ୍ତ ଚାଷୀଙ୍କୁ ଦିଆଯିବ । ବାତ୍ୟାରେ ଭାଙ୍ଗି ଯାଇଥିବା ଗୁହାଳର ପୁନନିର୍ମାଣ ପାଇଁ ୨୧ଶହ ଟଙ୍କା ସହାୟତା ଦିଆଯିବ । ବାତ୍ୟାରେ କ୍ଷତିଗ୍ରସ୍ତ ମତ୍ସ୍ୟ ଚାଷୀଙ୍କୁ ସେମାନଙ୍କର ଆଂଶିକ ଭାବରେ ଭାଙ୍ଗିଥିବା ଡଙ୍ଗାର ମରାମତି ପାଇଁ ୪୧ଶହ ଟଙ୍କା ଲେଖାଏ, ଆଂଶିକ ଭାବରେ କ୍ଷତିଗ୍ରସ୍ତ ମାଛଧରା ଜାଲ ମରାମତି ପାଇଁ ୨୧ଶହ ଟଙ୍କା ଲେଖାଏ, ପୁରା ଭାଙ୍ଗିଯାଇଥିବା ଡଙ୍ଗା ନିର୍ମାଣ ପାଇଁ ୯୬ଶହ ଟଙ୍କା ଲେଖାଏ ଏବଂ ପୁରା ନଷ୍ଟ ହୋଇଯାଇଥିବା ମାଛଧରା ଜାଲ କ୍ଷେତ୍ରରେ ୨୬ଶହ ଟଙ୍କା ସହାୟତା ପ୍ରଦାନ କରାଯିବ । ସେହିଭଳି ବାତ୍ୟାରେ ପଟୁ ମାଟି ମାଡି ଯାଇଥିବା ମାଛ ଚାଷ ଫାର୍ମ ବା ମାଛ ବିହନ ଫାର୍ମର ପୁନରୁଦ୍ଧାର ପାଇଁ ହେକ୍ଟର ପିଚ୍ଛା ୧୨ହଜାର ୨୦୦ ଟଙ୍କା ଏବଂ କ୍ଷତିଗ୍ରସ୍ତ ମାଛ ବିହନ ଫାର୍ମ ପାଇଁ ହେକ୍ଟର ପିଚ୍ଛା ୮ହଜାର୨୦୦ ଟଙ୍କା ଇନପୁଟ ସବସିଡି ଭାବରେ ଯୋଗାଇ ଦିଆଯିବ । ପୁନଶ୍ଚ ବାତ୍ୟାରେ ମଧ୍ୟ ଅନେକ ହସ୍ତତନ୍ତ ଓ ହସ୍ତଶିଳ୍ପ କାରିଗର କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ କ୍ଷତିଗ୍ରସ୍ତ କାରିଗର ମାନଙ୍କୁ ସେମାନଙ୍କର ଉପକରଣ ପାଇଁ ୪୧୦୦ ଟଙ୍କା ଲେଖାଏ ଏବଂ ନଷ୍ଟ ହୋଇଥିବା କଞ୍ଚା ମାଲ ତଥା ତିଆରି ହୋଇଥିବା ଜିନିଷ ପାଇଁ ପ୍ରତି କାରିଗରଙ୍କୁ ୪୧୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଏରି, ମଲବେରୀ ଓ ଟସର ଚାଷୀ ମାନଙ୍କ ପାଇଁ ଇନପୁଟ ସବସିଡି ଭାବରେ ହେକ୍ଟର ପିଚ୍ଛା ୪୮୦୦ ଟଙ୍କା ଏବଂ ମୁଗା ଚାଷୀଙ୍କ ପାଇଁ ହେକ୍ଟର ପିଚ୍ଛା ୬୦୦୦ ଟଙ୍କା ଲେଖାଏ ସହାୟତା ଦିଆଯିବ । କ୍ଷତିଗ୍ରସ୍ତ ଲୋକଙ୍କୁ ରୋଜଗାର ଯୋଗାଇବା ପାଇଁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ଯୋଗାଣ ଯୋଜନାରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ । ଏଥିରେ ଗ୍ରାମ ପଞ୍ଚାୟତ ରାସ୍ତା, ଖେଳ ପଡିଆ, କେନାଲ, ମାଟିବନ୍ଧ ଆଦିର ମରାମତି ଓ ରକ୍ଷଣାବେକ୍ଷଣ ସହିତ ଗାଇଗୁହାଳ, ଛେଳି ଗୁହାଳ ଓ ଗୋଖାଦ୍ୟ ଚାଷ ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ । ଯୋଗ୍ୟ ହିତାଧିକାରୀଙ୍କୁ ଏସଡିଆରଏଫ ବା ଏନଡିଆରଏଫ ନିୟମ ଅନୁଯାୟୀ ଗୃହ ନିର୍ମାଣ ଓ ଅନ୍ୟ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଘୋଷଣା କରିଛନ୍ତି ।